ବିଷମକଟକ / ଗୁଣପୁର / ରାୟଗଡ଼ା, 09/11/2026, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
ତାରିଖ : ୦୯/୧୧/୨୦୨୬ : ରାୟଗଡ଼ା ଜିଲ୍ଲାର ବିଷମକଟକ ବ୍ଲକ ସଦ୍ଭାବନା ସଭାଗୃହରେ ସୋମବାର ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେଇଥିଲେ।
ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ବିଷମକଟକ ତହସିଲଦାର କେ. ଭେଙ୍କେଟସ୍ୱର ରେଡ୍ଡୀ ଏବଂ ବିଡିଓ ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ।

ଶିବିରରେ ମୋଟ ୫୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ, ୧୦ଟି ସାମୂହିକ ଏବଂ ୪ଟି ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅଭିଯୋଗ ରହିଥିଲା। ଏହି ଅବସରରେ ଜିଲ୍ଲାପାଳ ଚାରି ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଏଥିସହ ୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।
ଅନ୍ୟ ଅଭିଯୋଗଗୁଡ଼ିକୁ ଜିଲ୍ଲାପାଳ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଇଥିଲେ। ଅଭିଯୋଗଗୁଡ଼ିକର ଉପଯୁକ୍ତ ତଦନ୍ତ କରି ଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଜନଶୁଣାଣି ଶିବିରରେ ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।